ଓଡିଆନ୍ ନ୍ୟୁଜ

25

ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସହ ବଜ୍ରପାତ ସମ୍ଭାବନା

Team Odian News |

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି।ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ଅଧିକାଂଶ ସ୍ଥାନରେ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ଜାରି ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଟକ, ବାଲେଶ୍ୱର କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ଧରି ଏହି ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି| ଆଜିଠୁ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ଆସନ୍ତାକାଲିଠୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗତକାଲି ସୂଚନା ଦିଆଯାଇଥିଲା।