ଜୁନରୁ ଅକ୍ଟୋବର ମାସ ଗୁରୁତ୍ବପୂର୍ଣ୍ଣ ,ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୭/୦୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।  ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହି ନୀତିକୁ ଅନୁସରଣ କରି ଓଡ଼ିଶା ଭଳି ଗୋଟିଏ ବିପର୍ଯ୍ୟୟ ପ୍ରବଣ ରାଜ୍ୟରେ ଆମେ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ କରି ଏ କ୍ଷେତ୍ରରେ ଏକ ଆଗୁଆ ରାଜ୍ୟ ହୋଇପାରିଛୁ।  ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, ପ୍ରତ୍ୟେକ ବର୍ଷର ଜୁନ୍‌ରୁ ଅକ୍ଟୋବର ମାସ ସମୟ ଅତି ଗୁରୁତ୍ବପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ। ତେଣୁ ଏହି ସମୟ ଭିତରେ ବାତ୍ୟା ଓ ବନ୍ୟା ଏକ ସମୟରେ ଆସିବାର ମଧ୍ୟ ସମ୍ଭାବନା ରହିଛି। ଏ ବାବଦରେ ଆମର ପ୍ରସ୍ତୁତିକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ସମସ୍ତ ପ୍ରଶାସନିକ କଳ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟ, ପାନୀୟ ଜଳ ବ୍ୟବସ୍ଥା, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ବ୍ୟବସ୍ଥା ଆଦି ସମସ୍ତ ବ୍ୟବସ୍ଥାଗୁଡିକୁ ପ୍ରସ୍ତୁତ କରି ରଖିବା ଜରୁରୀ। ଏହାସହିତ ସମସ୍ତ ଓଡ୍ରାଫ ଓ ଅଗ୍ନିସେବା ବାହିନୀ ପ୍ରସ୍ତୁତ ହୋଇ ରହିବା ଜରୁରୀ ବୋଲି ସେ କହିଛନ୍ତି। ବିପର୍ଯ୍ୟୟ ପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟପଦାର୍ଥକୁ ମହଜୁଦ ରଖିବା, ଜିଲ୍ଲାସ୍ତରୀୟ ଜରୁରୀକାଳୀନ କେନ୍ଦ୍ରଗୁଡିକୁ ୨୪ ଘଣ୍ଟିଆ କାର୍ଯ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଗର୍ଭବତୀ ମହିଳା, ଶାରୀରିକ ଓ ମାନସିକ ଭିନ୍ନକ୍ଷମ ବ୍ୟକ୍ତି, ଶିଶୁ, ବିଧବା ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: