ଭୁବନେଶ୍ୱର,୧୪।୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ପଶ୍ଚିମ ଓଡିଶାର ଜନସାଧାରଣଙ୍କ ସାମାଜିକ ଓ ସାଂସ୍କୃତିକ ଜୀବନ ଆହୁରି ସକ୍ରିୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୫-ଟି ଉପକ୍ରମରେ ଏହି କାର୍ଯ୍ୟକ୍ରମ କରାଯାଉଛି ବୋଲି ପ୍ରକାଶ କରି ଏହିସବୁ ଭିତ୍ତିଭୂମି କାମ ଠିକ୍ ସମୟରେ ଶେଷ ହେବ ବୋଲି ସେ ଆଶାପ୍ରକାଶ କରିଥିଲେ । ଏହାସହିତ ମୁଖ୍ୟମନ୍ତ୍ରୀ ୩୩.୫୮ କୋଟି ଟଙ୍କା ବିନିଯୋଗରେ ଅନେକ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପାଇଁ ସେ ସବୁବେଳେ ସ୍ବତନ୍ତ୍ର ଧ୍ୟାନ ଦେଇଆସିଛନ୍ତି | ପଶ୍ଚିମ ଓଡିଶା ବିକାଶ ପରିଷଦର ବଜେଟ ଦୁଇ ଗୁଣ ହେବା ସହିତ ଏହାର କାର୍ଯ୍ୟକ୍ରମ ମଧ୍ୟ ବୃଦ୍ଧି ପାଇଛି । ଜନପ୍ରତିନିଧିମାନଙ୍କ ସହିତ ଆଲୋଚନା କରି ବିକାଶ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ ବିକାଶ ପରିଷଦକୁ ପରାମର୍ଶ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ । ପଶ୍ଚିମ ଓଡିଶାର ବିକାଶ କ୍ଷେତ୍ରରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିକାଶରେ ପଶ୍ଚିମ ଓଡିଶାର ଭୂମିକା ଗୁରୁତ୍ବପୂର୍ଣ୍ଣ । କୃଷି, ଶିଳ୍ପ, ଖଣି, ଶିକ୍ଷା ଏବଂ କଳା ଓ ସଂସ୍କୃତିରେ ସମୃଦ୍ଧ ହେଉଛି ପଶ୍ଚିମ ଓଡିଶା । ପର୍ଯ୍ୟଟନର ବିକାଶ ପାଇଁ ମା ସମଲେଶ୍ୱରୀ, ହରିଶଙ୍କର ଓ ନୃସିଂହନାଥ ମନ୍ଦିରର ରୂପାନ୍ତର କାମ ଚାଲିଛି । ଏହା ସହିତ ଆହୁରି ଅନେକ ମନ୍ଦିର ଓ ଭିତ୍ତିଭୂମି କାମ ପାଇଁ ମଧ୍ୟ ପଦକ୍ଷେପ ଆରମ୍ଭ ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |