ପୁରୀ,୯।୯: ଆଜି ଭାଦ୍ରକୃଷ୍ଣ ଦଶମୀ ତିଥି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବଣଭୋଜି ବେଶ | ମଙ୍ଗଳବାର ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି | ମଙ୍ଗଳବାର ଯେଉଡ଼ ଭୋଗ ପରେ ବୁଧବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଗୁରୁବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ | ଶ୍ରୀମନ୍ଦିରରେ ବଣଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ | ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଇବେ | ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ | ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ | ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ | ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି | ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ 18 ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ |
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |