ଭୁବନେଶ୍ୱର, ୨୩।୧୦: ବଙ୍ଗୋପସାଗରରେ ଲଘୁଚାପ, ସମ୍ଭାବ୍ୟ ଅବପାତ ଓ ଘୂର୍ଣ୍ଣିଝଡ଼ର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ତେବେ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅନ୍ୟ ଅଞ୍ଚଳ ଆପାତତଃ ଶୁଖିଲା ରହିବ । ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସୋମବାର ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ । ୨୪ ତାରିଖ ବେଳକୁ ଏହା ବାତ୍ୟାର ରୂପ ନେଇପାରେ । ବାତ୍ୟା ରୂପ ନେଲେ ଏହାର ନାମ ରହିବ ‘ହାମୁନ୍’ ।ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବଙ୍ଗୋପସାଗରର ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଆଗାମୀ ୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବ। ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୧୩ କିମି ବେଗରେ ଉତ୍ତରପୂର୍ବ ଆଡ଼କୁ ଗତି କରୁଛି ଗଭୀର ଅବପାତ। ଏହା ବର୍ତ୍ତମାନ ପାରାଦୀପଠାରୁ ଦକ୍ଷିଣରେ ୩୬୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି।ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସାମୁଦ୍ରିକ ବନ୍ଦର ଗୁଡିକ ପାଇଁ ବିପଦ ସଙ୍କେତ ୩ ଜାରି କରାଯାଇଛି ଏବଂ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ SRCଙ୍କ ପକ୍ଷରୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟ ସବୁ ସ୍ଥାନରେ ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |