ପୁରୀ ,୨୬।୧୧: ଆଜି ମହାକାର୍ତ୍ତିକମାସର ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି। ଆଜି ପଞ୍ଚୁକର ୪ର୍ଥ ଦିନରେ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏହି ବେଶରେ ଶ୍ରୀ ବିଗ୍ରହମାନେ ଶ୍ରୀଭୁଜ, ଶ୍ରୀପୟର ସମେତ ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଛନ୍ତି । ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ପଞ୍ଚୁକର ଚତୁର୍ଥ ଦିବସରେ ଶ୍ରୀମନ୍ଦିରରେ ଆଜି ଦୁର୍ଲଭ ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ସୁନାବେଶ ପାଇଁ ପ୍ରସ୍ତୁତି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଆଜି ରାତି ୩ଟା ୪୫ରେ ଶ୍ରୀମନ୍ଦିର ଦ୍ୱାରଫିଟା ପରେ ଭୋର ୪ଟା ୪୦ରେ ମଙ୍ଗଳ ଆରତୀ, ପରେ ଅବକାଶ ନୀତି ବଢିବା ପରେ ଠାକୁରଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ସଜ୍ଜିତ କରାଯିବ । ଠାକୁରଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହି ପଞ୍ଚୁକ ଯାତ୍ରା ଅନ୍ୟତମ । ଆସନ୍ତାକାଲି ପୂର୍ଣ୍ଣିମା ଦିନ ମହାପ୍ରଭୁଙ୍କୁ ରାଜ ରାଜେଶ୍ୱର ବେଶ ବା ସୁନାବେଶରେ ସଜ୍ଜିତ କରାଯିବ । ବିଶ୍ବାସ ରହିଛି ଆଜିର ଦିନରେ ମହାପ୍ରଭୁଙ୍କର ଏହି ଦୁର୍ଲଭ ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ଫଳ ପ୍ରାପ୍ତି ହୋଇଥାଏ । ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି। ତେଣୁ ସେହି ସ୍ମୃତିରେ କାର୍ତ୍ତିକ ମାସର ଏହି ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି । ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି । ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି । ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପ୍ରଭୁ ବଳଭଦ୍ର ମସ୍ତକରେ ଯେଉଁ ଚୂଳ ଧାରଣ କରିଥାନ୍ତି ସେଥିରେ ସୁବର୍ଣ୍ଣର କିଆ ଗୁଡ଼ିକ ଆଡ଼ ବାଗିଆ ଲଗାଯାଇଥାଏ । ତେଣୁ ଏହି ବେଶକୁ ଡ଼ାଳିକିଆ ବେଶ ମଧ୍ୟ କୁହାଯାଏ । ତେବେ ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବାକୁ ଥିବାବେଳେ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଚୁଡାନ୍ତ ହୋଇଛି । ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ କରିବା ପାଇଁ ଭକ୍ତମାନେ ମଧ୍ୟ ବେଶ୍ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |