ଭୁବନେଶ୍ୱର,୯ା୪: ରାଜ୍ୟରେ ତାପମାତ୍ରା ତଳମୁହାଁ ହୋଇଛି। କାଳବୈଶାଖୀ ବର୍ଷା ପବନ ଯୋଗୁଁ ତାପମାତ୍ରା ତଳକୁ ଖସିବା ସହ ସାରା ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି।ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ । ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୋମବାର ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ଗତକାଲି ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୧୭ ସହରରେ ଦିନର ତାପମାତ୍ରା ୩୩ ଡିଗ୍ରୀ କିମ୍ବା ଏହାଠାରୁ ତଳେ ରହିଛି। ତାପମାତ୍ରା କମିବା ଯୋଗୁଁ ରାଜ୍ୟବାସୀ ଆଶ୍ୱସ୍ତ ଅନୁଭବ କରିଛନ୍ତି।ଅନ୍ୟପଟେ ଆହୁରି ୨-୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଆଶଙ୍କା ରହିଥିବା ବେଳେ ମଙ୍ଗଳବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଅନ୍ୟପଟେ ମଙ୍ଗଳବାରଠାରୁ ରାଜ୍ୟରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ତେଣୁ ବର୍ତ୍ତମାନ ତୁଳନାରେ ସାମାନ୍ୟ ଗରମ ବଢ଼଼ିବ ବୋଲି ଆଶଙ୍କା ରହିଛି।ସେହିଭଳି ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ସେଭଳି ୧୧ ତାରିଖରୁ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |