ଭୁବନେଶ୍ୱର,୧୨।୯:ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ । ପ୍ରଭାବରେ ଆସନ୍ତା କାଲିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ନିର୍ଧୁମ୍ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ପୂର୍ବ ବାଂଲାଦେଶ ଉପକୂଳ ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୁତ ହୋଇ ଏକ ଲଘୁଚାପରେ ପରିଣତ ହେବ। ପରେ ଏହା ଧିରେଧିରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦୁଇ ଦିନ ମଧ୍ୟରେ ପଶ୍ଚିମବଙ୍ଗର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଅବପାତରେ ପରିଣତ ହେବ।ଏହାରି ପ୍ରଭାବରେ କାଲିଠାରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ। ବର୍ଷା ନେଇ କଳାହାଣ୍ଡି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାସହ ୧୪ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ଜିଲା ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ରାୟଗଡା ଏବଂ ଗଜପତି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ତାରିଖରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ସେପ୍ଟେମ୍ବର ୧୩ ଠାରୁ ୧୫ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |