ଅକ୍ଟୋବର ୧୦ରୁ ଖୋଲିବ ଶିମିଳିପାଳ

 ମୟୂରଭଞ୍ଜ,,୭।୧୦: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ଅକ୍ଟୋବର ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବାକୁ ଯାଉଛି। ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ସୋମବାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଦୈନିକ ଚାରି ଚକିଆ ଯାନ କଳିଆଣି ତନଖି ଫାଟକ (ଯଶିପୁର) ପଟୁ ୩୫ ଗାଡି ଓ ପିଠାବଟା (ବାରିପଦା) ତନଖି ଫାଟକ ଦେଇ ୨୫ ଗାଡି ଜଙ୍ଗଲ ଭିତରକୁ ପ୍ରବେଶ କରିବ ବୋଲି ସ୍ଥିରୀକୃତ ହୋଇଛି। ସେହିପରି ଏଥର ତାଳବନ୍ଧ, ଜାମୁଆଣି ଓ ଗୁଡୁଗୁଡିଆ ସକାଳ ୫.୩୦ ଓ ଅପରାହ୍ନ ୩ଟା ରେ ନୂତନ ୩୫ଟି ଖୋଲା ଜିପ୍ ବା ସଫାରୀ ଗାଡିରେ ୫ଘଣ୍ଟା ଲେଖାଏଁ ବୁଲିବାର ମଜା ନେବେ ପର୍ଯ୍ୟଟକ।ଉକ୍ତ ଦୁଇ ତନଖି ଫାଟକରେ ପ୍ରବେଶ ଅନୁମତି ପତ୍ର ସକାଳ ୬ ଟା ରୁ ୯ ଟା ପର୍ଯ୍ୟନ୍ତ ବୁକିଂ କାଉଣ୍ଟରରେ ଉପଲବ୍ଧ ରହିବ। ପ୍ରତି ପର୍ଯ୍ୟଟକଙ୍କ ପିଚ୍ଛା ପ୍ରବେଶ ଶୁଳ୍କ ଧାର୍ଯ୍ୟ କରାଯାଇଥିବା ବେଳେ, ମାର୍ଗଦର୍ଶିକା ଅନୁପାଳନ ସହିତ ଅଭୟାରଣ୍ୟକୁ ସ୍ୱଚ୍ଛ ରଖିବା ପାଇଁ ପର୍ଯ୍ୟଟକ ମାନେ ଭିତରକୁ ପ୍ରବେଶ ସମୟରେ ନିଜ ସାଥୀରେ ପ୍ଲାଷ୍ଟିକ ସାମଗ୍ରୀ, ମାଦକ ଦ୍ରବ୍ୟ, ଆମିଷ ଓ ଅଗ୍ନି ସଂଯୋଗକାରୀ ସାମଗ୍ରୀ ଆଦି ପର୍ଯ୍ୟଟକମାନେ ନେବା ଉପରେ କଟକଣା ଜାରି କରାଯାଇଛି। ଶିମିଳିପାଳରେ ଥିବା ଯାତ୍ରୀ ନିବାସ ଗୁଡିକରେ ରାତ୍ରୀ ଯାପନ ପାଇଁ ପର୍ଯ୍ୟଟକ ମାନେ (www.ecotourism.com) ୱେବସାଇଟରେ ଅଗ୍ରୀମ ବୁକିଂ କରି ପାରିବେ। ପର୍ଯ୍ୟଟକ ମାନେ ପ୍ରତି ଗାଡ଼ିରେ ଜଣେ ବିଭାଗୀୟ ଗାଇଡଙ୍କୁ ନିୟମ ଅନୁଯାୟୀ ସାଙ୍ଗରେ ନେବାକୁ ପଡ଼ିବ। ସେହିପରି ବୁଲାବୁଲି ସାରି ଅପରାହ୍ନ ୩ଟା ପୂର୍ବରୁ ଯୋରନ୍ଦା ଓ ବରେହିପାଣି ଜଳପ୍ରପାତ, ୪ଟା ପୂର୍ବରୁ ଚହଲା ଏବଂ ୫ଟା ବେଳକୁ ପ୍ରସ୍ଥାନ ଗେଟ ବାହାରକୁ ଆସିବାକୁ ନିର୍ଦ୍ଦେଶ ରହିଛି। କୌଣସି କାରଣବଶତଃ ଅଭୟାରଣ୍ୟ ମଧ୍ୟରେ ଗାଡ଼ି ଖରାପ ହେଲେ ପର୍ଯ୍ୟଟକ ମାନଙ୍କୁ ବାରିପଦା ଓ ଯଶିପୁର ବସଷ୍ଟାଣ୍ଡକୁ ସ୍ଥାନାନ୍ତରିତ କରାଇବା ନିମନ୍ତେ ଅଗ୍ରୀମ ୪ହଜାର ଟଙ୍କା ଜମା ଦେବାକୁ ନିୟମ ରହିଛି। ରାତ୍ରି ରହଣି ପାଇଁ କୋର ଏରିଆର ଜାମୁଆଣି, କୁମାରୀ, ରାମତୀର୍ଥ, ଗୁଡ଼ଗୁଡ଼ିଆ, ବରେହିପାଣି ଆଦି ସ୍ଥାନରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବେଳେ କୁଆଁରୀ ଗାଁ ନିକଟରେ ବାଉଁଶ କୁଟୀର ବ୍ୟବସ୍ଥା ମଧ୍ୟ କରାଯାଇଛି।ରାତ୍ର ରହଣି ପାଇଁ ପର୍ଯ୍ୟଟକ ମାନେ ୱେବସାଇଟରେ ଅଗ୍ରୀମ ସଂରକ୍ଷଣ କରିବାକୁ ପଡ଼ିବ ବୋଲି ବିଭାଗୀୟ ସୂତ୍ରରୁ ଜଣାଯାଇଛି। ସୁରକ୍ଷିତ ଭାବେ ପର୍ଯ୍ୟଟକ ଜଙ୍ଗଲ ପରିବେଶରେ କିପରି ଜଙ୍ଗଲୀ ବନ୍ୟଜନ୍ତୁଙ୍କ ଚଳ ପ୍ରଚଳକୁ ପାଖରୁ ନିରେଖୁ ଦେଖିପାରିବେ ସେଥିପାଇଁ ସତନ୍ତ୍ର ରୁଟ୍ ପ୍ରସ୍ତୁତ କରାଯାଇଛି। ବିଶେଷକରି ଯୁବପିଢ଼ି ଓ ଛୋଟ ପିଲାଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହି ଦୁଃସାହାସିକ କ୍ରୀଡାକୁ ଏଥିରେ ସାମିଲ କରାଯାଇଛି। ଶିମିଳିପାଳ ବୁଲିବାକୁ ପର୍ଯ୍ୟଟକଙ୍କ ପାଇଁ ମିନିବସ୍‌ର ମଧ୍ୟ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଏହା ସହିତ ଅଭୟାରଣ୍ୟ ମଧ୍ୟରେ ସ୍ଵତନ୍ତ୍ର ଖାଦ୍ୟର ବ୍ୟବସ୍ଥା ଥିଲା। ଯାହା ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!