ଭୁବନେଶ୍ୱର,୨୧।୧୦:ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସହିତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ଏମିତିକି ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପାଇଁ ସ୍କୁଲ ବନ୍ଦ ହେବ କି ନାହିଁ, ତାହା ଜିଲାପାଳ ନିଷ୍ପତ୍ତି ନେବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜିଲାପାଳମାନଙ୍କୁ ଏଥିପାଇଁ ଅଧିକାର ଦିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସେମାନେ ସ୍କୁଲ ନିଷ୍ପତ୍ତି ନେବେ। ଯେଉଁଠି ଆବଶ୍ୟକ ପଡ଼ିବ, ଜିଲାପାଳ ସ୍କୁଲ ଛୁଟି ଘୋଷଣା କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |