ଭୁବନେଶ୍ୱର,୭।୧୧:ରାଜ୍ୟରେ କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା । ଏଥିରେ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ମୋଟ୍ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ ହେବ। ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥାର ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି ।ସତ୍ୟବାଦୀ ବନ ବିଦ୍ୟାଳୟ ଭଳି ପିଲାଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ। ବିଶେଷ କରି ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଦିଆଯିବ। ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡ଼ିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡ଼ା, ଶାରୀରିକ ବ୍ୟାୟାମ, ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ। ସେହିପରି ବୈଠକରେ ଐତିହ୍ୟ ବିଦ୍ୟାଳୟଗୁଡିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା । ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଅଧିକ ପୁରାତନ ବିଦ୍ୟାଳୟ କିମ୍ବା ସ୍ୱାଧୀନତା ପୂର୍ବ ସମୟର ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯିବ। ଏହି ଯୋଜନାରେ ମୋଟ୍ ୪୫ଟି ଐତିହ୍ୟ ବିଦ୍ୟାଳୟର ବିକାଶ କରାଯିବ ବୋଲି ନିଷ୍ପତ୍ତି ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |