ପୁରୀ,୫।୨ : ଆଜି ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତମହାପାତ୍ର ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ପ୍ରାକୃତିକ ରଙ୍ଗରେ ଶ୍ରୀଜିଉ ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଅର୍ଥାତ୍ ପ୍ରାୟ ପାଞ୍ଚ ଘଣ୍ଟା ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଓ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |