୧ କୋଟି ୬୪ ହଜାର ମହିଳା ପାଇଲେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି

ଭୁବନେଶ୍ୱର,୮।୩:ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବଣ୍ଟା ହୋଇଛି ସୁଭଦ୍ରାର ଦ୍ବିତୀୟ କିସ୍ତି । ଏକକାଳୀନ ୧ କୋଟି ୬୪ ହଜାର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯାଇଛି ଟଙ୍କା ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫୧ତମ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ୯ ମାସର ନୂଆ ସରକାର ଆଜି ରାଜ୍ୟର ୧ କୋଟିରୁ ଅଧିକ ମା’ଙ୍କ ପାଇଁ ଆର୍ଥିକ ସ୍ୱାଧୀନତାର ରାସ୍ତା ଖୋଲି ପାରିଛି। ସବୁ ମା’ଙ୍କୁ ୨ଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏଁ ମିଳିଲା। ଆଜି ଦିନଟି ସବୁଠାରୁ ସନ୍ତୋଷର ଦିନ ଓ ସବୁଠାରୁ ଗୌରବର ଦିନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପୂର୍ବ ସରକାରଙ୍କୁ ସମାଲୋଚନା କରି କହିଛନ୍ତି ଯେ, ଯେଉଁମାନେ ପଚାରୁଛନ୍ତି ଯେ ଆମ ସରକାର ୯ ମାସରେ କ’ଣ କରିଛି, ସେମାନଙ୍କୁ କୁହନ୍ତୁ ଯେ ୨୪ ବର୍ଷରେ ଯେଉଁ ସରକାର ମହିଳାଙ୍କ ପାଇଁ କେବଳ ସ୍ଲୋଗାନ ଦେଉଥିଲେ, ମୋହନ ସରକାର କ୍ଷମତାକୁ ଆସିବାର ମାତ୍ର ୨୪ ମିନିଟ ମଧ୍ୟରେ ଐତିହାସିକ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଥିଲେ ଏବଂ ଖୁସିର ବିଷୟ ଯେ ତିନିମାସ ମଧ୍ୟରେ କାର୍ଯ୍ୟ ଆରମ୍ଭ କରି ଆଜି ୯ ମାସ ମଧ୍ୟରେ ଏକ କୋଟିରୁ ଅଧିକ ମହିଳାଙ୍କୁ ସୁଭଦ୍ରାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି।ସେ ଆହୁରି ମଧ୍ୟ କହିଥିଲେ ଯେ, ଆମର ନିନ୍ଦୁକମାନେ ଭୁଲି ଯାଇଛନ୍ତି ଯେ ଶିଶୁଟିଏ ଜନ୍ମ ହେବାକୁ ମଧ୍ୟ ମା’ ଗର୍ଭରେ ୯ ମାସ ବିତେଇବାକୁ ପଡିଥାଏ। ଆମ ସରକାରର ୯ ମାସ ପୂରଣ କରିବାକୁ ଆହୁରି ଚାରିଦିନ ବାକି ଅଛି। କିନ୍ତୁ, ଏହି ସ୍ୱଳ୍ପ ସମୟ ଭିତରେ ଆମେ ଓଡିଶାର ଜନସାଧାରଣଙ୍କ ପାଇଁ ଯେଉଁ କାର୍ଯ୍ୟ କରି ପାରିଛୁ, ତାହା ସେମାନେ ପ୍ରକୃତରେ ବିଶ୍ୱାସ କରିପାରୁ ନାହାନ୍ତି। ସେମାନେ ବିଶ୍ୱାସ କରି ପାରୁନାହାନ୍ତି ଯେ ଚାଷୀଙ୍କୁ ୨୪ ବର୍ଷ ରେ ନ୍ୟୁନତମ ମୂଲ୍ୟ ଠାରୁ କିଛି ଅଧିକ ଟଙ୍କା ଦେଇ ପାରିଲେ ନାହିଁ , କିନ୍ତୁ ଏ ନୂଆ ସରକାର କିପରି ଭାବେ ୨୪ ମିନିଟରେ କୁଇଣ୍ଟାଲ ପିଛା ୧୦୦ ନୁହେଁ, ୮୦୦ ଟଙ୍କା ଦେବା ପାଇଁ ନିଷ୍ଫତ୍ତି ନେଇଗଲେ।ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଜବାବ ରଖି କହିଥିଲେ ଯେ, ୨୪ ବର୍ଷ ଧରି ଆପଣ ଯାହା କରିବାକୁ ଚିନ୍ତା କରିପାରି ନ ଥିଲେ ଆମେ ତାକୁ କାର୍ଯ୍ୟରେ ପରିଣତ କରିଛୁ। ଗରିବ ପରିବାରଙ୍କ କନ୍ୟା ସନ୍ତାନ ବିବାହ ଏବଂ ରାଜ୍ୟର ଗରିବ ଜନସାଧାରଣଙ୍କୁ ନିଃଶୁଳ୍କ ଜଗନ୍ନାଥ ଦର୍ଶନ କରାଇବାର ନିଷ୍ପତ୍ତି ମଧ୍ୟ ଆମେ ନେଇଛୁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!