ଭୁବନେଶ୍ୱର,୧୭।୩: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କ ମରଶରୀର। ଏହି ସମୟରେ ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି। ତାଙ୍କୁ ଶେଷ ଦର୍ଶନ ପାଇଁ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସହିତ ସମସ୍ତ ମନ୍ତ୍ରୀ, ରାଜ୍ୟ ଭାଜପା ସଭାପତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପହଞ୍ଚିଥିଲେ।ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବିମାନ ବନ୍ଦରରେ ପହଞ୍ଚିଥିଲେ। ବିଭିନ୍ନ ଦଳର ରାଜନେତା ବିମାନ ବନ୍ଦରରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି। ପୁଲିସ ମହାନିର୍ଦ୍ଦେଶକ ଓ ମୁଖ୍ୟ ଶାସନ ସଚିବ ମଧ୍ୟ ଉପସ୍ଥିତ ଥିଲେ।ଭୁବନେଶ୍ଵର ବିମାନବନ୍ଦରରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ମରଶରୀରକୁ ସିଧା ଦଳୀୟ କାର୍ଯ୍ୟାଳୟକୁ ନିଆଯିବ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନେତା ଓ କର୍ମୀ ଦେବେନ୍ଦ୍ର ପ୍ରଧାନଙ୍କ ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ସେଠାରୁ ଦେବେନ୍ଦ୍ରଙ୍କ ମରଶରୀରକୁ ଚନ୍ଦ୍ରଶେଖରପୁର ସ୍ଥିତ ବାସଭବନକୁ ନିଆଯିବ ।ସେଠାରେ ସାଧାରଣ ଜନତା ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର ଦର୍ଶନ କରିବେ । ଏହାପରେ ଆସନ୍ତାକାଲି ପୁରୀ ସ୍ଵର୍ଗଦ୍ଵାର ନିଆଯାଇ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ କରାଯିବ ବୋଲି ସୂଚନା ମିଳିଛି ।ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ତଥା ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ ୧୯୯୩ ରାଜ୍ୟ ଭାଜପା ସଭାପତି ଥିଲେ। ୧୯୯୩ରୁ ୧୯୯୫ ରାଜ୍ୟ ଭାଜପାର ସାଧାରଣ ସମ୍ପାଦକ ଥିଲେ। ପୁନର୍ବାର ୧୯୯୫ରୁ ୧୯୯୭ ଯାଏ ସେ ଭାଜପା ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଦେବେନ୍ଦ୍ର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ଦେବେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ଜୀବନ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଓଡ଼ିଶାରେ ଦଳର ଅଗ୍ରଗତି ସହିତ ଗଭୀର ଭାବେ ଜଡ଼ିତ। ସେ ଓଡ଼ିଶାର ଜଣେ ପ୍ରଭାବଶାଳୀ ନେତା ଥିଲେ, ଯିଏ ରାଜ୍ୟରେ ଭାଜପାର ମୂଳଦୁଆ ସ୍ଥାପନ ଏବଂ ସଂଗଠନକୁ ମଜବୁତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |