ପୁରୀ,,୧୭।୮:ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ । ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି । ଯେଉଡ଼ ଭୋଗ ପରେ ଶ୍ରୀକୃଷ୍ଣ ଜନ୍ମନୀତି ଓ ଗତକାଲି ନନ୍ଦଉତ୍ସବ ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ ।ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଯିବ ।ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀ ଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ। ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ । ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ 18 ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |