ଭୁବନେଶ୍ୱର,୧୬।୯ : ଓୟୁଏଟି କନ୍ଭେନସନ ସେଣ୍ଟରଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ ଜିଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାଦ୍ୱାରା ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ବର୍ଣ୍ଣିମ ଅଧ୍ୟାୟ ଯୋଡ଼ିହୋଇଛି ବୋଲି ସେ କହିଛନ୍ତି। ୨୭ ପ୍ରକଳ୍ପ କାର୍ଯ୍ୟକାରୀ ହେବା ପାଇଁ ୨୫ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପୁଞ୍ଜି ବିନିଯୋଗ କରାଯାଉଛି। ଏହାଦ୍ୱାରା ୫୨ ହଜାରରୁ ଅଧିକ ଯୁବତୀଯୁବକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟିହେବା ସୁନିଶ୍ଚିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିଳ୍ପ ସ୍ଥାପନ ପାଇଁ ଓଡ଼ିଶା ସରକାରଙ୍କ ନୀତି ଓ ନିଷ୍ଠା ପ୍ରତି ନିବେଶକମାନଙ୍କ ଆସ୍ଥା ବୃଦ୍ଧିପାଉଛି। ଓଡ଼ିଶାକୁ ପୂର୍ବ ଭାରତର ମାନୁଫାକ୍ଚରିଂ ହବ୍ କରିବା ପାଇଁ ଆମେ ବିଭିନ୍ନ ହାଇ ଭାଲ୍ୟୁ ପ୍ରଡକ୍ଟ ଉତ୍ପାଦନ ଦିଗରେ ନିବେଶକମାନଙ୍କୁ ଆକୃଷ୍ଟ କରୁଛୁ। ମାନୁଫାକ୍ଚରିଂ ଭାଲ୍ୟୁ ଚେନ୍ରେ ଆହୁରି ଉପରକୁ ଉଠି ସାରା ବିଶ୍ୱର ବଜାରରେ ପ୍ରତିଦ୍ୱନ୍ଦ୍ୱିତା କରିପାରୁଥିବା ଭଳି ସାମଗ୍ରୀ ନିର୍ମାଣ କରୁଛୁ। ଆମ ସରକାର ମାତ୍ର ୧୫ ମାସ ହେବ ଓଡ଼ିଶାର ଶାସନ ଦାୟିତ୍ୱ ନେଇଛନ୍ତି। ଏହି ଅଳ୍ପ ସମୟ ମଧ୍ୟରେ ସରକାର ୨୬୦ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁର କରିଛନ୍ତି। ଏହାଦ୍ୱାରା ୫.୬ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆସିବା ସହ ୩.୬ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି। ଏହି ସମୟ ମଧ୍ୟରେ ଆମେ ୮୪ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛୁ। ଏହାଦ୍ୱାରା ଓଡ଼ିଶାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜିନିବେଶ ହୋଇପାରିଛି ଏବଂ ୧ ଲକ୍ଷ ୬୪ ହଜାର ନିଯୁକ୍ତି ସୃଷ୍ଟି କରାଯାଇଛି। ଶିଳ୍ପପତିମାନଙ୍କୁ ଭରସା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଶିଳ୍ପ ସ୍ଥାପନ ପାଇଁ ଉପଯୁକ୍ତ ନୀତି ସହ ପ୍ରତ୍ୟେକ କ୍ଷେତ୍ରକୁ ସ୍ବତନ୍ତ୍ର ପ୍ରୋତ୍ସାହନ ପ୍ରଦାନ କରାଯାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |