ଭୁବନେଶ୍ୱର,୧୩ା୭:ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପଛକୁ ପଛ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ଉତ୍ତର ଓଡି଼ଶା ସମେତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ସୋମବାର ପୂର୍ବ-କେନ୍ଦ୍ରୀୟ କିମ୍ବା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ପ୍ରକ୍ରିୟା ଯୋଗୁଁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ସୋଆ (SOA) ଜଳବାୟୁ ଓ ପରିବେଶ କେନ୍ଦ୍ରର ନିର୍ଦ୍ଦେଶକ ଡ. ଶରତ ସାହୁଙ୍କ ସୂଚନା ମୁତାବକ, ୧୪ କିମ୍ବା ୧୫ ତାରିଖ ବେଳକୁ ଏହି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେବ। ଫଳସ୍ୱରୂପ, ୧୫ ତାରିଖ ପରେ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ବର୍ଷାର ପ୍ରଭାବ ଅଧିକ ଅନୁଭୂତ ହେବ।ଉତ୍ତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ହେବାର ଆଶଙ୍କା ରହିଛି। ଏହି ପ୍ରଭାବରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଏବଂ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହା ବ୍ୟତୀତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି। ବର୍ଷା ପାଗ ସତ୍ତ୍ୱେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ଜାରି ରହିପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ସୂଚନାଯୋଗ୍ୟ ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ସ୍ୱଳ୍ପ ପରିମାଣର ବର୍ଷା ରେକର୍ଡ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |